୧୯ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା !

ଭୁବନେଶ୍ୱର,୧୬/୫ : ଆସୁଛି ଆଉ ଏକ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ ସୃଷ୍ଟି ହେବାର ଆକଳନ କରାଯାଇଛି । ଏହା ଦିନେ କିମ୍ବା ୨ଦିନ ମଧ୍ୟରେ ଆଣ୍ଡାମାନ ସାଗର ଅଞ୍ଚଳକୁ ପ୍ରବେଶ କରିବ । ତାପରେ ରୂପରେଖ ଏବଂ ପରବର୍ତ୍ତୀ ପ୍ରଭାବ ସମ୍ପର୍କରେ ଜଣାପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । କିନ୍ତୁ ଏହା ଅଧିକ ଘନୀଭୁତ ହୋଇନପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ସୂଚନା ଦେଇଛନ୍ତି । ଏଥିସହ ଆସନ୍ତା ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷାର ବି ସମ୍ଭାବନା ରହିଛି । ରାଜ୍ୟର ୯ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ କଟକ । ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ । ଏହାଛଡ଼ା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ସୁନ୍ଦରଗଡ଼ର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷାର ବି ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।