ଅତିପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର,୮/୭: ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ମୌସୁମୀ ଟ୍ରଫ୍‌ ଲାଇନ ବର୍ତ୍ତମାନ ଉତ୍ତର-ପଶ୍ଚିମ ଏବଂ ଏହାର ଆଖପାଖ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଦେଇ ଗତି କରୁଛି । ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୪ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଂଜାମ, ପୁରୀ ଓ ଖୋର୍ଦ୍ଧା ପ୍ରଭୃତି ୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।