ସ୍ୱାଧୀନତା ଦିବସରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫/୮: ଆଜି ଦେଶ ପାଳୁଛି ୭୬ତମ ସ୍ୱାଧୀନତା ଦିବସ । ଆଉ ଏହି ଅବସରରେ ଆଜି ରାଜଧାନୀର ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ହୋଇଛି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି । ଏହାସହ ସ୍ୱାଧୀନତାର ୭୫ ବର୍ଷ ପୂର୍ତି ଉପଲକ୍ଷେ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସେ କହିଛନ୍ତି, ସାରା ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି । ଜଣେ ଭାରତୀୟ ଭାବରେ ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ସମସ୍ତ ସ୍ୱାଧୀନତା ସଂଗ୍ରାମୀଙ୍କ ସମେତ ଦେଶ ପାଇଁ ସହିଦ ହୋଇଥିବା ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସ୍ୱାଧୀନତା କୋଟି ଭାରତୀୟଙ୍କ ବିଜୟ । ସତ୍ୟ ଓ ଅହିଂସାର ବିଜୟ । ଏହି ବିଜୟ ସାରା ବିଶ୍ୱକୁ ରାସ୍ତା ଦେଖାଇଛି । ଗତ ୭୫ ବର୍ଷରେ ଦେଶ ଅନେକ ମାଇଲଷ୍ଟୋନ ହାସଲ କରିଛି। ୭୫ ବର୍ଷରେ ଓଡ଼ିଶା ଅନେକ କ୍ଷେତ୍ରରେ ପାରଦର୍ଶିତା ହାସଲ କରିବା ସହ ଦେଶକୁ ରାସ୍ତା ଦେଖାଇଛି ।