ଭୁବନେଶ୍ବର,୧୫/୧୦: ଆସନ୍ତା ୨୦ ତାରିଖ ବେଳକୁ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ୧୮ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ୨୦ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ପରିଣତ ହେବାର ସମ୍ଭାବନା ରହିଛି ।
ଏଣେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଶେଷକରି କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ପୁରୀ, ଜଗତ୍ସିଂହପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।