ସମ୍ଭାବ୍ୟ ବାତ୍ୟା ନେଇ ଏସ୍‌ଆରସିଙ୍କ ପକ୍ଷରୁ ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି

ଭୁବନେଶ୍ବର,୧୯/୧୦: ସମ୍ଭାବ୍ୟ ବାତ୍ୟା ନେଇ ସ୍ବତନ୍ତ୍ର ରିଲିଫ କମିସନ (ଏସ୍‌ଆରସି) ପକ୍ଷରୁ ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ଏସ୍‌ଆରସି ପକ୍ଷରୁ ଆଜି ଚିଠି ଲେଖି ଉପକୂଳବର୍ତ୍ତୀ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା ଓ ବାଲେଶ୍ୱର ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଦିଆଯାଇଛି । ବାତ୍ୟା ମୁକାବିଲା ପାଇଁ ପୂର୍ବରୁ ପ୍ରସ୍ତୁତ ରହିବାକୁ ସଂପୃକ୍ତ ଜିଲ୍ଲାଗୁଡ଼ିକ ନିର୍ଦ୍ଦେଶ ଦିଆଯାଇଛି।

ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ବେଳେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ସାମୁଦ୍ରିକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସୂଚନାରେ କୁହାଯାଇଛି।