ବରଗଡ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯/୧୦: ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ବିକାଶର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ସମସ୍ତଙ୍କ ସହଯୋଗରେ ପଦ୍ମପୁର ଅଞ୍ଚଳ ବିକାଶର ଏକ ମଡେଲ ହୋଇପାରିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି।

ପଦ୍ମପୁର ଅଞ୍ଚଳର ବିକାଶକୁ ଆଗେଇ ନେବାରେ ଏ ସବୁ ପ୍ରକଳ୍ପ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।  ଚାଷୀ, ମହିଳା, ଯୁବବର୍ଗ ମାନଙ୍କୁ ସଶକ୍ତ କରି ସାରା ଓଡିଶାକୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି । ପଦ୍ମପୁର ଓଡିଶାର ଭାତହାଣ୍ଡି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାକୁ ସବୁଠାରୁ ଅଧିକ ଚାଉଳ ପଦ୍ମପୁର ହିଁ ଯୋଗାଇ ଦେଉଛି । ପଦ୍ମପୁରର ଚାଷୀମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କାର ୨୦ଟି ଉଠାଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଥିଲେ । ତା ସହିତ କୃଷି ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଥିଲେ ।