ରାଜ୍ୟର ୪ଟି ଜିଲ୍ଲାରେ ୫ଟି ଉଚ୍ଚକ୍ଷମତା ସମ୍ପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬/୧:  ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୪ଟି ଜିଲ୍ଲାରେ ୫ଟି ଉଚ୍ଚକ୍ଷମତା ସମ୍ପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ୨୫୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ସ୍ଥାନଗୁଡିକ ହେଲା ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ, ମାଲକାନଗିରିର କାଲିମେଳା, ସୁବର୍ଣ୍ଣପୁରର ବୀରମହାରାଜପୁର ଓ କଟକ ଜିଲ୍ଲାର ଗୋଡିସାହି ଓ ବହୁଗ୍ରାମ। ଏହାଦ୍ବାରା ଏହି ୪ଟି ଜିଲ୍ଲାର ୨ ଲକ୍ଷ ଲୋକ ଉପକୃତ ହେବେ | ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜନସାଧାରଣଙ୍କ ଜୀବନଧାରଣ ମାନରେ ଉନ୍ନତି ପାଇଁ ଉତ୍ତମ ବିଦ୍ୟୁତଶକ୍ତିର ଆବଶ୍ୟକତା ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ବିଦ୍ୟୁତ ସଂପ୍ରସାରଣ ଓ ଆବଣ୍ଟନ ଭିତ୍ତିଭୂମିର ବିକାଶ ଉପରେ ସ୍ବତନ୍ତ୍ର ଧ୍ୟାନ ଦେଉଛନ୍ତି।