ପଶ୍ଚିମା ଝଡ଼ ପ୍ରଭାବରେ ଭିଯିବ ଓଡିଶା, କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୪/୩: ଆସନ୍ତା ୧୫ ତାରିଖରୁ ସକ୍ରିୟ ହେବ ଆଉ ଏକ ପଶ୍ଚିମା ଝଡ଼ । ଏହାର ପ୍ରଭାବରେ ରାଜ୍ୟରେ ୧୭ ତାରିଖ ପର୍ଯ୍ୟନ୍ତ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଝଡ଼ ପବନ ସହ ବର୍ଷା ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି । ଆସନ୍ତାକାଲି ଉପକୂଳ ଓ ଏହାର ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ପଡ଼ିବ ପ୍ରଭାବ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ୧୬ ତାରିଖରେ ଉତ୍ତର ଓ ଉପକୂଳ ଜିଲ୍ଲା ଗୁଡ଼ିକରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ,କଟକ , ଯାଜପୁର, ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ । ଅବଶିଷ୍ଟ ୧୭ ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି । ସେହିପରି ୧୭ ତାରିଖରେ ଦକ୍ଷିଣ ଓଡ଼ିଶା ଓ ତାର ପାର୍ଶ୍ୱବର୍ତ୍ତୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ।