ଆସନ୍ତା ୭ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ: IMD

ଭୁବନେଶ୍ୱର,୩/୫: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଆଶଙ୍କା ରହିଛି। ଏହା ୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ସାମ୍ଭାବ୍ୟ ବାତ୍ୟା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସାମ୍ବାଦିକ ସମ୍ମିଳନୀରେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ, ଭାରତୀୟ ପାଣିପାଗ ବିଭାଗ ଆସନ୍ତା ୬ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଆକଳନ କରିଛି। ଏହି ଘୂର୍ଣ୍ଣିବଳୟ ୭ ତାରିଖ ବେଳକୁ ଲଘୁଚାପର ରୂପ ନେଇପାରେ। ଆଉ ୮ ତାରିଖକୁ ଏହା ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୯ ତାରିଖରେ ବାତ୍ୟା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ବାତ୍ୟା ପ୍ରଭାବରେ ୭ ତାରିଖରୁ ବଙ୍ଗୋପସାଗର ଭିତରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ଫଳରେ ୭ ତାରିଖରୁ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ଭାରତୀୟ ପାଣିପାଗ ବିଭାଗ ଉପକୂଳବର୍ତ୍ତୀ ଅଞ୍ଚଳ ଗୁଡିକ ପାଇଁ ସତର୍କ ସୂଚନା ଜାରି କରିଛି।