ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୩୧/୦୫: ସଂପ୍ରତି ସମଗ୍ର ରାଜ୍ୟରେ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ତେବେ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ମଧ୍ୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ୨୦ଟି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ।