ଘରୋଇ ତଥା ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରେ ମାଗଣାରେ ମିଳିବ ପୁସ୍ତକ

ଭୁବନେଶ୍ୱର,୧୦/୮: ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ୫-ଟି ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି। ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ପାଠ୍ୟପୁସ୍ତକ ରାଜ୍ୟ ସରକାର ଯୋଗାଇ ଦେବେ। ଏହା ଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ ତଥା ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୯ କୋଟି ୪୩ ଲକ୍ଷ ଟଙ୍କା ବାର୍ଷିକ ଖର୍ଚ୍ଚ କରିବେ।