ଆସନ୍ତା ୩ ତାରିଖରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ଭୁବନେଶ୍ବର,୨/୦୯: ଆସନ୍ତା ୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାକି ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ୩ ଓ ୪ ତାରିଖରେ ରାଜ୍ୟରେ ବିସ୍ତୃତ ବର୍ଷା ହୋଇପାରେ। ଆଜିଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୩ ତାରିଖରେ ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲା, ୪ ତାରିଖରେ ଅଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ଓ ୫ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲା‌ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ବର୍ତ୍ତମାନ ଦକ୍ଷିଣ ଛତିଶଗଡ଼ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସହ ଏକ ନିମ୍ନଚାପ ରେଖା ଆନ୍ଧ୍ର ପ୍ରଦେଶ ପର୍ଯ୍ୟନ୍ତ ଲମ୍ବିଥିବାରୁ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।