୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ସବୁ ଜିଲ୍ଳାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା  ଲଘୁଚାପ ପ୍ରଭାବରେ  ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ବେଳେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ଏବଂ ବାକି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହିସବୁ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ବରଗଡ଼, ସମ୍ବଲପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।