ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୭/୧୨: ଓଡ଼ିଶାରେ ଉଚ୍ଚ ଶିକ୍ଷାନୁଷ୍ଠାନର ସାମଗ୍ରିକ ବିକାଶ ପାଇଁ ପିଏମ୍-ଉଷା ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନକୁ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ-ଉଷା) ନାମରେ ଶୁଭାରମ୍ଭ କରାଯାଇଛି । ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନକୁ ଜାରି ରଖିବା ପାଇଁ ୨୦୨୬ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସୁଦ୍ଧା କେନ୍ଦ୍ରୀୟ ଅନୁଦାନ ପ୍ରାପ୍ତ ଯୋଜନା ପିଏମ ଉଷାକୁ ଅନୁମୋଦନ ମିଳିଥିବା ବେଳେ ୧୨ ହଜାର ୯୨୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନୂଆ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ସମୟରେ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ କରିବା ଏହାର ମୂଳ ଲକ୍ଷ୍ୟ।