ମହାପ୍ରଭୁଙ୍କ ସ୍ନାନଯାତ୍ରା, ୧୦୮ କଳସ ଜଳରେ ସ୍ନାନ କରିବେ ଶ୍ରୀଜିଉ

ପୁରୀ,୨୨/୦୬ : ଆଜି ଦେବସ୍ନାନ ପୂର୍ଣ୍ଣିମା ବା ମହାପ୍ରଭୁଙ୍କ ସ୍ନାନଯାତ୍ରା । ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯିବ । ଆଉ ଏହା ପରେ ମହାପ୍ରଭୁଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯିବ। ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ । ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ । ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ ।