ପ୍ରବଳ ବର୍ଷା ନେଇ ଆଜି ୫ ଜିଲ୍ଲା ଓ ଆସନ୍ତାକାଲି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୯/୧୦(ଦି ପ୍ରଗତି ନ୍ୟୁଜ୍): କିିିଛି ଦିନ ପୂର୍ବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା।ସେହିପରି ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆଜି ୫ଟି ଓ ଆସନ୍ତାକାଲି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ସେହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୫ ଜିଲ୍ଲା ଗୁଡିକ ହେଉଛି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ।

ସେହିପରି ଆସନ୍ତାକାଲି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୮ ଜିଲ୍ଲା ଗୁଡିକ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। ଏହାସହ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ତେଣୁ ଅକ୍ଟୋବର ୨୨ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।