ରାଜ୍ୟରେ ଆଗାମୀ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୨୪/୦୬:ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ଫଳରେ ରାଜ୍ୟରେ ଆଗାମୀ ତିନି ଦିନ ଧରି ବର୍ଷା ହେବ। କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ଏହି ସୂଚନା ଦେଇଛି।

ଆସନ୍ତାକାଲି  ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।