ଦିଲ୍ଲୀରୁ ବାତ୍ୟା ଗୁଲାବର ମୁକାବିଲା ପାଇଁ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬/୯: ମାଡି ଆସୁଛି ବାତ୍ୟା ଗୁଲାବ। ଏହାରିମଧ୍ୟରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲ୍‌ଆବ ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଛନ୍ତି।

ଏହାସହ ଆଜି ଅପରାହ୍ନ ସୁଦ୍ଧା ଗୁଲ୍‌ଆବ ପ୍ରଭାବିତ ଜିଲ୍ଲା ମାନଙ୍କର ତଳିଆ ତଥା ବନ୍ୟାପ୍ରବଣ ସ୍ଥାନ ମାନଙ୍କରୁ ଏବଂ କଚ୍ଚା ଘର ମାନଙ୍କରୁ ଲୋକମାନଙ୍କୁ ସ୍ଥାନାନ୍ତର କରିଯିବ ସହିତ ଭୂସ୍ଖଳନ ସଂଭାବନା ଥିବା ଅଞ୍ଚଳ ମାନଙ୍କରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର  କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରାଯିବା ତଥା ମାସ୍କ ବ୍ୟବହାରକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।ଅନ୍ୟପଟେ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା କାଲି ପ୍ରଭାବିତ ସମସ୍ତ ୧୧ ଗୋଟି ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ବାତ୍ୟା ଦ୍ବାରା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ ଏହି ଜିଲ୍ଲାଗୁଡିକ ସହିତ କନ୍ଧମାଳ, ମାଲକାନଗିରି, ନବରଂଗପୁର ଓ କଳାହାଣ୍ଡିର କିଛି ଅଞ୍ଚଳରେ ପ୍ରବଳକୁ ପ୍ରବଳତର ବର୍ଷା ଏବଂ ଖୋର୍ଦ୍ଧା, ପୁରୀ ଓ ନୟାଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ସୂଚନା ରହିଛି।

ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତରେ ଥିବା ୫-ଟି ସଚିବ  ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜଳସଂପଦ ବିଭାଗର ପ୍ରମୁଖ ସଚିବ, ଶକ୍ତି ବିଭାଗର ପ୍ରମୁଖ ସଚିବ, ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ ଓ ପ୍ରଭାବିତ ୧୧ଟି ଜିଲ୍ଲାର ଜିଲ୍ଲାପାଳ ମାନେ ବୈଠରେ ଏହି ବୈଠକରେ ଉପସ୍ଥିତ ଥିଲେ।