ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା

ଭୁବନେଶ୍ୱର,୧୭/୯: ଆଜି ହେଉଛି ପବିତ୍ର ବିଶ୍ୱକର୍ମା ପୂଜା । ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ବୋଲି କୁହାଯାଏ । ପୁରାଣମତରେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ ।ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ । ବିଶ୍ୱକର୍ମା ଅନ୍ୟ ଅର୍ଥରେ ବିଶ୍ୱର ସୃଷ୍ଟିକର୍ତ୍ତା । ଅନନ୍ତଶାୟୀ ନାରାୟଣଙ୍କ ନାଭିକମଳରୁ ଉତ୍ପନ୍ନ ହୋଇଥିବା ତ୍ରିକାଳଦର୍ଶୀ ବ୍ରହ୍ମା ହେଉଛନ୍ତି ସୃଷ୍ଟିକର୍ତ୍ତା । ଏଣୁ ବିଶ୍ୱକର୍ମାଙ୍କୁ ବ୍ରହ୍ମାରୂପେ କଳ୍ପନା କରି ପୂଜା କରାଯାଏ ।