ମାଆ ତାରାତାରିଣୀ ପୀଠ ଉତ୍ସବରେ ମୁଖ୍ୟପୁରୋଧା ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮/୫: ଓଡ଼ିଶାର ପ୍ରମୁଖ ଶକ୍ତିପୀଠ ତଥା ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ମା’ତାରାତାରିଣୀଙ୍କ ମନ୍ଦିରର ଜୀର୍ଣ୍ଣୋଦ୍ଧାର ଓ ନୂତନ ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ ଗତ ୧୬ ତାରିଖଠାରୁ ଆରମ୍ଭ ହୋଇଯାଇଛି। ଏହି ମହୋତ୍ସବ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ମାଆଙ୍କ ପୀଠରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଭବ୍ୟ ମନ୍ଦିରର ପ୍ରତିଷ୍ଠା ଅବସରରେ ମୁଖ୍ୟମନ୍ତ୍ରୀ ସେଠାରେ ପହଞ୍ଚିବା ପରେ ହାତ ଯୋଡ଼ି ମାଆଙ୍କୁ ପ୍ରଣାମ କରିଛନ୍ତି ଏବଂ ସେଠାରେ ମୁଖ୍ୟ ପୁରୋଧା ଭାବେ ଯୋଗଦାନ କରିଛନ୍ତି।
ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦାନ ସହ ମୁଖ୍ୟମନ୍ତ୍ରୀ ତାରାତାରିଣୀ ପୀଠରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ପୁଲିସ ଓ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ୧୧୭ କୋଟିରୁ ଅଧିକ ଟଙ୍କା ବ୍ୟୟରେ ମନ୍ଦିରର ପୁନରୁଦ୍ଧାର କାର୍ଯ୍ୟ କରାଯାଇଛି। ଯଜ୍ଞ ମଣ୍ତପ, ପ୍ରାଶାସନିକ ଗୃହ, ମାକେର୍ଟ କମ୍ପ୍ଲେକ୍ସ୍, ଭୋଗ ବଣ୍ଟନ ଗୃହ ଓ ଦୀପ ଘର ଆଦି ନିର୍ମାଣ କରାଯାଇଛି। ଏହାସହ ମନ୍ଦିରର ସୌନ୍ଦର୍ଯ୍ୟକରଣକୁ ବୃଦ୍ଧି ପାଇଁ ବୃକ୍ଷରୋପଣ କରାଯାଇଥିବ‌ା ସୂଚନା ରହିଛି।