ମାଲକାନଗିରିରେ ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨/୦୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ମାଲକାନଗିରି ଜିଲ୍ଲା ଗସ୍ତ କରି ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ଦେବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ରାଧିକାର ଭିତ୍ତିରେ ଭାଙ୍ଗି ଯାଇଥିବା କଚ୍ଚା ଘର ନିମନ୍ତେ ସହାୟତା ଓ ବିଜୁଳି ସଂଯୋଗୀକରଣ ନିମନ୍ତେ ସେ ଗୁରୁତ୍ଵାରୋପ କରିଥିଲେ। ଜଣେ ମଧ୍ୟ ପ୍ରଭାବିତ ବ୍ୟକ୍ତି ସରକାରୀ ସହାୟତା ପାଇବାରୁ ଯେପରି ବଞ୍ଚିତ ନ ହୁଅନ୍ତି ସେଥି ନିମନ୍ତେ ପ୍ରଯତ୍ନ ହେବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।

ପ୍ରବଳ ବର୍ଷା ଯୋଗୁଁ ଜଳ ଜନିତ ରୋଗକୁ ପ୍ରତିହତ କରିବା ପାଇଁ ପର୍ଯ୍ୟାପ୍ତ ପରିମାଣରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ କୁହାଯାଇଛି। ଏଥିସହିତ ରାଜ୍ୟ ଆପଦକାଳୀନ ପରିଚାଳନା କେନ୍ଦ୍ରରୁ ୨୪ ଘଣ୍ଟିଆ ଭାବେ ପରିସ୍ଥିତି ଉପରେ ନଜର ରଖାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେଠାରେ ହୋଇଥିବା ସମୀକ୍ଷା  ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିସନର ଦେଓ ରଞ୍ଜନ ସିଂ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଦକ୍ଷିଣାଞ୍ଚଳ ଡିଆଇଜି ଚରଣ ସିଂ ମୀନା, ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଓ ଆରକ୍ଷୀ ଅଧିକ୍ଷକ ନୀତେଶ ୱାଧୱାନୀ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *