ରାଜ୍ୟରେ ଶୀତ ଲହରୀ ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସଂପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫/୧୧: ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ଶୀତ ପଡିବା ଆରମ୍ଭ ହୋଇଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରରେ ବିଶେଷ ହ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ରାଜ୍ୟରେ ଶୀତ ଲହରୀ ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସଂପର୍କରେ ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।
ଏହାସହିତ ଶୀତ ପ୍ରବାହ ସମୟରେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଭାବରେ ନ ରୁହନ୍ତି, ସେଥିପ୍ରତି ବିଶେଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଡିସେମ୍ବର ପହିଲା ସୁଦ୍ଧା ୪୮ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ କମ୍ବଳ ପାଇଁ ମିଳିବ ୩୦୦ ଟଙ୍କା ଲେଖାଏ ସହାୟତା।

ସୂଚନାଯୋଗ୍ୟ ଯେ ପ୍ରତି ଦୁଇ ବର୍ଷରେ ଥରେ ରାଜ୍ୟ ସରକାର ପେନ୍‌ସନ୍‌ ହିତାଧିକାରୀମାନଙ୍କୁ ଗ୍ରୀଷ୍ମ ଓ ଶୀତ ସହାୟତା ଯୋଗାଇ ଦେଇଆସିଛନ୍ତି।  ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନଭେମ୍ବର ୩୦ ଓ ଡିସେମ୍ବର ୧, ଏହି ଦୁଇ ଦିନ ମଧ୍ୟରେ ସବୁ ହିତାଧିକାରୀ ଯେପରି ଏ ସହାୟତା ପାଇବେ, ସେଥିପାଇଁ ପଦକ୍ଷେପ ନିଆଯିବ।