ତୃତୀୟ ପର୍ଯ୍ୟାୟରେ ୩୫୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫/୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ଏହି ପର୍ଯ୍ୟାୟର ପ୍ରଥମ ଦିନରେ ଆଜି ୪ଟି ଜିଲ୍ଲାର ୩୫୭ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି। ଏଥିରେ ଗଞ୍ଜାମ ଜିଲ୍ଲାର ୧୦୬ଟି ହାଇସ୍କୁଲ, ଅନୁଗୁଳର ୮୭ଟି, କେନ୍ଦୁଝରର ୫୭ଟି ଓ ଜଗତସିଂହପୁରର ୧୦୭ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ତୃତୀୟ ପର୍ଯ୍ୟାୟରେ ସମୁଦାୟ ୨୧୫୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି। ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ।

ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଛାତ୍ରଛାତ୍ରୀମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା। ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡ଼ିଶାର ଗୌରବ ବୃଦ୍ଧି ହେବ।