ୟୁକ୍ରେନ୍ ଫେରନ୍ତା ଓଡିଆ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮/୨:ଋଷ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ଆଜି ପଞ୍ଚମ ଦିନ । ସେଠାରେ ବହୁ ଓଡ଼ିଆ ଫସି ରହିଛନ୍ତି। ଆଜି କିଛି ଓଡ଼ିଆ ସ୍ୱଦେଶକୁ ଫେରଇଛନ୍ତି । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୟୁକ୍ରେନରୁ ଫେରି ଆସି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଛାତ୍ରୀଙ୍କ ସହିତ ଅନଲାଇନ ଜରିଆରେ ଆଲୋଚନା କରିଛନ୍ତି । ସେ କହିଛନ୍ତି ସମସ୍ତେ ନିରାପଦରେ ଫେରିଆସିଥିବାରୁ ମୁଁ ଆଶ୍ଵସ୍ତ । ଏହାସହ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ କରି ୟୁକ୍ରେନରେ ରହିଯାଇଥିବା ଅନ୍ୟ ଛାତ୍ରଛାତ୍ରୀଙ୍କ ଫେରିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଛାତ୍ରଛାତ୍ରୀ ମାନଙ୍କ ଫେରିବା ସଂପର୍କରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ।

ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ସେମାନେ ସମସ୍ତେ ରୋମାନିଆ ସୀମା ଅତିକ୍ରମ କରି ଭାରତୀୟ ଅଧିକାରୀ ମାନଙ୍କ ସହିତ ବୁକାରେଷ୍ଟ ଯାଇଥିଲେ ଏବଂ ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀ ଆସିଥିଲେ । ନୂଆଦିଲ୍ଲୀରେ ଅବସ୍ଥାପିତ ରେସିଡେଣ୍ଟ କମିଶନର ସେମାନଙ୍କ ସହିତ ସବୁ ସମୟରେ ଅନ୍‌ଲାଇନ ଜରିଆରେ ଯୋଗାଯୋଗରେ ଥିଲେ ବୋଲି ସେମାନେ କହିଥିଲେ । ୟୁକ୍ରେନର ଅନ୍ୟ ସ୍ଥାନରେ ଥିବା, ବିଶେଷକରି ଖାରକିବ୍‌ରେ ବହୁ ଓଡିଆ ଛାତ୍ରଛାତ୍ରୀ ଅଛନ୍ତି ଓ ସେମାନଙ୍କୁ ଫେରାଇ ଆଣିବାପାଇଁ ପଦକ୍ଷେପ ନେବାକୁ ସେମାନେ ଅନୁରୋଧ କରିଥିଲେ ।

ୟୁକ୍ରେନରୁ ଫେରୁଥିବା ପିଲାଙ୍କ ସୁବିଧା ପାଇଁ ମୁମ୍ବାଇ ବିମାନ ବନ୍ଦରରେ ହେଲ୍ପ ଡେସ୍କ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଭୁବନେଶ୍ୱର ରେ ପହଞ୍ଚିବା ପରେ ପିଲାମାନଙ୍କୁ ଓଟିଡିସି ବସ୍ ଯୋଗେ ସେମାନଙ୍କ ଘରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଏହି ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଉପସ୍ଥିତ ଥିଲେ ।