ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ, କାହିଁକି ଜାଣନ୍ତୁ?

ଭୁବନେଶ୍ୱର,୩୦/୧୨: ରାଜ୍ୟରେ ଅଦିନିଆ ବର୍ଷା ଉଜାଡ଼ି ଦେଲା ଚାଷୀଙ୍କ ସୁନାର ଫସଲ। ଚାଷୀମାନେ ଫସଲ କ୍ଷୟକ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ଦେବାପାଇଁ ଯୋଜନା କରିଛନ୍ତି । ଉଭୟ ବୀମା କରି ନ ଥିବା ଓ ବୀମା କରିଥିବା ଚାଷୀମାନଙ୍କୁ ସହାୟତା ଦିଆଯିବ । ବୀମା କରିଥିବା ଚାଷୀମାନଙ୍କ ପାଇଁ ଫସଲ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେବା ପାଇଁ ସମୟସୀମା ଡିସେମ୍ବର ୨୯ ଶେଷ ତାରିଖ ଥିଲା ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରାଳୟକୁ ଏହି ଅବଧି ବଢାଇବାକୁ ଅନୁରୋଧ କରାଯାଇଥିଲା । ଚାଷୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ଅବଧିକୁ ଆଉ ତିନି ଦିନ ପାଇଁ ବୃଦ୍ଧି କରିଛନ୍ତି । ତେଣୁ, ଚାଷୀମାନେ ବର୍ତ୍ତମାନ ୨୦୨୫ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନିମାନଙ୍କୁ ଫସଲ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇ ପାରିବେ। ଓଡିଶାର ଚାଷୀମାନଙ୍କ ପାଇଁ କେନ୍ଦ୍ର ସରକାରଙ୍କର ଏହି ସହାନୁଭୂତିଶୀଳ ମନୋଭାବ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧନ୍ୟବାଦ ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *