ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୭/୨: ରାଜ୍ୟରେ ଏବେ ଶୀତ ଲହରୀ ଥିବା ବେଳେ ପାଗ ଶୁଖିଲା ମଧ୍ୟ ରହିଛି । ଏହାରି ମଧ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘନ କୁହୁଡ଼ି ହେବ। ଆଜି ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ। ଏହି ସମୟ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ଥଣ୍ଡା ମଧ୍ୟ ଅନୁଭୂତ ହେବ। ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଅନୁଗୁଳ ଓ ଢେଙ୍କାନାଳରେ ଘନ କୁହୁଡ଼ି ହେବ । ସେହିପରି ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଧା ଜିଲ୍ଲାରେ କୁହୁଡ଼ିର ପ୍ରଭାବ ଅଧିକ ରହିବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଫେବ୍ରୁଆରି ୯ରୁ ୧୧ ମଧ୍ୟରେ ପଶ୍ଚିମ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।