ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୨୮/୮: ରାଜ୍ୟରେ ଧୀରେ ଧୀରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି। ଫଳରେ ରାଜ୍ୟରେ କିଛି କିଛି ସ୍ଥାନରେ ବର୍ଷା ହେଉଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଫଳରେ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ ଓ ମୌସୁମୀ ସକ୍ରିୟ ହେବ। ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ ବର୍ଷା ଲାଗି ରହିବ। ଏଣୁ ଏ ନେଇ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍‌ କମିସନ୍‌ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି।

କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ଏହାବାଦ୍‌ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । ରବିବାର ମଧ୍ୟ ବର୍ଷା ଲାଗି ରହିବ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ମାତ୍ର ସୋମବାରଠାରୁ ବର୍ଷା ପରିମାଣ କ୍ରମଶଃ କମିବ ।