ଆସୁଛି ଆଉ ଦୁଇ ଲଘୁଚାପ, ପୁଣି ପ୍ରବଳ ବର୍ଷିବ!

ଭୁବନେଶ୍ୱର, ୨୦/୯: ରାଜ୍ୟରେ ଏବେ ଲଘୁଚାପ କାରଣରୁ ପ୍ରବଳ ବର୍ଷା ହୋଇଛି । ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୦ରୁ ୨୨ ତାରିଖ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, ଦେଓଗଡ଼, ସମ୍ୱଲପୁର, ବରଗଡ଼, ବଲାଙ୍ଗୀର, କନ୍ଧମାଳ, ଢେଙ୍କାନାଳ ଓ ଅନୁଗୁଳରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି । ଏହାରି ମଧ୍ୟରେ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୬ରୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ୩୦ ପର୍ଯ୍ୟନ୍ତ ଏହା ଜାରି ରହିବ । ବଙ୍ଗୋପସାଗରରେ ଅବପାତ ଫଳରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବଙ୍ଗୋପସାଗରରେ ଆସନ୍ତା ୨୪ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ୨୫ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ । ୨୬ ତାରିଖରେ ଅବପାତର ରୂପ ନେବାର ସମ୍ଭାବନା ଥିବା ଜଣାପଡ଼ିଛି । ଏହାର ପ୍ରଭାବରେ ୨୬ ଓ ୨୭ ତାରିଖରେ ଉପକୂଳ ଓଡ଼ିଶା ଓ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଅନ୍ୟ ଏକ ଘୂର୍ଣ୍ଣିବଳୟ ଉତ୍ତର ପୂର୍ବ ବଙ୍ଗୋପସାଗରରେ ୨୬ ତାରିଖରେ କେନ୍ଦ୍ରୀଭୂତ ହେବାର ସମ୍ଭାବନା ଥିବା ବେଳେ ୨୮ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ ବୋଲି ସୂଚନା ରହିଛି । ୨୭ ଓ ୨୮ରେ ଉପକୂଳ ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।