ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦରର ସମୀକ୍ଷା

ଭୁବନେଶ୍ୱର,୧୯/୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ତିଆନ ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ୟ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ଏହି ସଚିବସ୍ତରୀୟ ଟିମରେ କ୍ରୀଡ଼ା ଏବଂ ଯୁବ ସେବା ବିଭାଗର ସଚିବ ଆର୍ ଭିନିଲକ୍ରୀଷ୍ଣା ଏବଂ ଇଡକୋର ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆ ମଧ୍ୟ ରାଉରକେଲା ଆସିଥିଲେ।

ଏହି ଟିମ୍ ରାଉରକେଲାରେ ବିପିୟୁଟି କ୍ୟାମ୍ପସରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଅନୁଧ୍ୟାନ କରିଥିଲେ । ଉଭୟ ମୁଖ୍ୟ ଓ ଅଭ୍ୟାସ ପଡିଆର ନିର୍ମାଣ କାର୍ୟ୍ୟ ଶେଷ ହୋଇଛି । ଷ୍ଟାଡିଅମର ଦୁଇଟି ଯାକ ପିଚ୍‌ ଓ ହାଇମାସ୍କ ଲାଇଟ ଯାଂଚ ପରେ ଖେଳ ପାଇଁ ଲାଇସେନ୍‌ସ ମିଳିଛି ।