ଭୁବନେଶ୍ୱର,୩୦/୪: କେନ୍ଦ୍ରାପଡ଼ା ଜିଲ୍ଲା ସାତଭାୟା ବଗପାଟିଆ ଥଇଥାନ କଲୋନି ହେବ ଆଦର୍ଶ କଲୋନୀ। ୫-ଟି ସଚିବ ଭିକେ ପାଣ୍ଡିଆନ୍ଙ୍କ ଗସ୍ତର ଚବିଶ ଘଣ୍ଟା ମଧ୍ୟରେ ବାଇଶ କୋଟି ଟଙ୍କା ମଞ୍ଜୁର ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗତ ୨୭ ଓ ୨୮ ତାରିଖ ଦୁଇ ଦିନ ଧରି ୫ଟି ସଚିବ ଶ୍ରୀ ପାଣ୍ଡିଆନ୍ କେନ୍ଦ୍ରପଡା ଗସ୍ତ କରିଥିଲେ। ଗସ୍ତର ଦ୍ଵିତୀୟ ଦିନରେ ୨୮ ତାରିଖ ଦିନ ସେ ସାତଭାୟା ବଗପାଟିଆ ଅଞ୍ଚଳ ପରିଦର୍ଶନ କରିଥିଲେ। ଏହି ସମୟରେ ସେ ବିସ୍ଥାପିତ ଲୋକମାନଙ୍କୁ ଭେଟିଥିଲେ। ସେମାନଙ୍କ ସମସ୍ୟା ବୁଝିଥିଲେ। ସରକାରଙ୍କ ଯୋଜନା ବିଷୟରେ ଲୋକଙ୍କ ସହ ଆଲୋଚନା କରିଥିଲେ ଏବଂ ସେମାନଙ୍କ ମତାମତ ପଚାରି ବୁଝିଥିଲେ।
ପରେ ଭୁବନେଶ୍ବର ଫେରି ମୁଖ୍ୟମନ୍ତ୍ରୀଙ୍କୁ ସ୍ଥାନୀୟ ଲୋକଙ୍କ ଆବଶ୍ୟକତା ସମ୍ପର୍କରେ ଅବଗତ କରିଥିଲେ। ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ସାତଭାୟା ବଗପାଟିଆ ଆଦର୍ଶ କଲୋନି ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ତୁରନ୍ତ ୨୨ କୋଟି ୫୦ ଲକ୍ଷ ୭୧ ହାଜର ଟଙ୍କାର ପ୍ୟାକେଜ ମଞ୍ଜୁର କରିଛନ୍ତି।