କାର୍ତ୍ତିକ ମାସର ଆଜି ଶେଷ ସୋମବାର, ବାବା ଧବଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର,୧୧/୧୧: କାର୍ତ୍ତିକ ମାସର ଆଜି ଶେଷ ସୋମବାର। ଏଥିପାଇଁ କଟକ ଆଠଗଡ ସ୍ଥିତ ବାବା ଧବଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଆଜି ରାତି ପ୍ରାୟ ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ଧବଳେଶ୍ୱରଙ୍କୁ ମହାସ୍ନାନ କରାଯାଇଥିଲା। ପରେ ମଇଲମ, ମଙ୍ଗଳ ଆଳତି ଆଦି ସମସ୍ତ ରୀତିନୀତି କରାଯାଇଥିଲା। ପରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ସେହିପରି ଆଜି ଶ୍ରୀମନ୍ଦିରରେ ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବଡ଼ଠାକୁର। ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ବସ୍ତ ପରିଧାନ କରି ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଥାନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି।