ଭୁବନେଶ୍ୱର,୧୯/୧୨: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟର କେତେକ ସ୍ଥାନରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହୋଇପାରେ । ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣ ବର୍ଷା, ୨୦ ତାରିଖରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଏବଂ ୨୧ ତାରିଖରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ସେପଟେ ଚାଷୀଙ୍କୁ ଘାରିଛି ବର୍ଷା ଭୟ । ଦକ୍ଷିଣ ଓଡ଼ିଶା ପାଇଁ ପାଣିପାଗ ବିଭାଗ ପକ୍ଷରୁ ବର୍ଷା ସତର୍କ ସୂଚନା ଜାରି କରାଯାଇଛି ।