ଭୁବନେଶ୍ୱର,୨/୧୨:ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ । ଆସନ୍ତାକାଲି ଏହା ବାତ୍ୟାରେ ପରିଣତ ହେବ । ଗତ ୬ ଘଂଟା ହେଲା ଏହା ୯ କିଲୋମିଟର ବେଗରେ ଗତି କରୁଛି । ବାତ୍ୟା ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି ।ଆସନ୍ତାକାଲି ୪ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ ରହିଛି । ଏବଂ ୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଆଶଙ୍କା ରହିଛି । ୪ତାରିଖରେ ସେହିପରି ରାଜ୍ୟର ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।
ସେହିପରି ୫ତାରିଖ ପାଇଁ ୫ଟି ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଓ ୬ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, କଳାହାଣ୍ଡି, ପୁରୀ, ନୟାଗଡ଼, ଖୋର୍ଦ୍ଧା ଓ କନ୍ଧମାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।