ଫେରିଯିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ !

ଭୁବନେଶ୍ୱର,୨୫/୦୯: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜସ୍ଥାନରୁ ଫେରିଯିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ସ୍ୱାଭାବିକ ଭାବେ ଅକ୍ଟୋବର ୧୫ ତାରିଖ ପାଖାପାଖି ରାଜ୍ୟରୁ ମୌସୁମୀ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଥାଏ । ଏ ବର୍ଷ ମଧ୍ୟ ଏହି ସମୟରେ ମଧ୍ୟରେ ଓଡ଼ିଶାରୁ ମୌସୁମୀ ଫେରିଯାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଅନ୍ୟପଟେ ରାଜ୍ୟରେ ଏବେ ବର୍ଷା ଜାରି ରହିଛି । ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି । ସେହିଭଳି ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଏହାର ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି ।