ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬/୧୦:ରାଜ୍ୟ ସରକାରଙ୍କର ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ।  ଆଜି ଭୁବନେଶ୍ବରରୁ ଭରଚୁଆଲ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ପଞ୍ଚମ ଦିନରେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡ଼ିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ।