ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦/୫: ସମୁଦ୍ର ପତନଠାରୁ ୦.୯ କିଲୋମିଟର ଉଚ୍ଚତାରେ ଏକ ଲଘୁଚାପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର, ଦକ୍ଷିଣ, ଆଭ୍ୟନ୍ତର, ଉପକୂଳ ଓ କେନ୍ଦ୍ରୀୟ ଓଡ଼ିଶାର ପ୍ରାୟ ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ଏହା ସହ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼  ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି। ଏପରିସ୍ଥିତିରେ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବା ସହ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।ଅନ୍ୟ ପକ୍ଷରେ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଆସନ୍ତା ୫ ଦିନ ମଧ୍ୟରେ ସର୍ବୋଚ୍ଚ ତାପମାତ୍ରା ଦିନର ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୨ ଡିଗ୍ରି କିମ୍ବା ତା’ଠାରୁ ଅଧିକ ରହିବ ଏବଂ ପରବର୍ତ୍ତୀ ସମୟରେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲା ଯଥା ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ଝାରସୁଗୁଡ଼ାର କିଛି ସ୍ଥାନରେ ତାପମାତ୍ରା ବଢ଼ିବ।