ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର,୧୬/୦୭: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ସେହିପରି ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୨୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ୧୭ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଂଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୯ ତାରିଖରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ ।