ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୩/୦୮: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ରାଜ୍ୟର ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ୱଲପୁର, କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଅଗଷ୍ଟ ୪ ତାରିଖରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ରାଜ୍ୟ ଠାରୁ ଦୂରେଇ ଯିବ। ପ୍ରଭାବରେ ଧିରେ ଧିରେ ରାଜ୍ୟରେ ବର୍ଷାର ପ୍ରକୋପ ମଧ୍ୟ କମିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।