ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ଏହି ସବୁ ଜିଲ୍ଲାରେ ଅଧିକ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦/୦୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ସେପ୍ଟେମ୍ବର ୧ ପୂର୍ବାହ୍ନ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆକଳନ ଅନୁଯାୟୀ ଶୁକ୍ରବାର ସକାଳ ସୁଦ୍ଧା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ନବରଙ୍ଗପୂର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ନୂଆପଡ଼ା, ବରଗଡ଼, ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଉପକୂଳ, ଦକ୍ଷିଣ ଓ ପଶ୍ଚିମ ‌ଓଡ଼ିଶାର ୨୦ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ। ପରବର୍ତ୍ତୀ ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା(୨୦ ସେମିରୁ ଅଧିକ) ହେବାକୁ ଥିବାରୁ ରେଡ୍‌ ୱାର୍ଣ୍ଣିଂ, ରାୟଗଡ଼ା, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର, ବରଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତ୍‌ସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧ ମଧ୍ୟରେ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।