ଭୁବନେଶ୍ୱର,୨୨/୦୨: ରାଜ୍ୟର ଅଧିକାଂଶ ଜିଲ୍ଲାରେ ଅଦିନିଆ ବର୍ଷା ଲାଗିରହିଛି। ବିଶେଷକରି ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇ ଦିନ ହେଲା ତୁହାକୁ ତୁହା ବର୍ଷା ହେଉଛି। ଆଜି ୨୪ ଘଣ୍ଟାରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହାବ୍ୟତୀତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ଯାଜପୁର ଜିଲ୍ଲାରେ ହାଲୁକା ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହାପରେ ବର୍ଷା କମିବା ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ସାମାନ୍ୟ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।