ସମଗ୍ର ରାଜ୍ୟରେ ମୌସୁମୀ ସକ୍ରିୟ, ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର,୨୦/୦୬: ଦକ୍ଷିଣ- ପଶ୍ଚିମ ମୋସୁମୀ ବାୟୁ ସମଗ୍ର ରାଜ୍ୟରେ ସକ୍ରିୟ ରହିଛି। ତେଣୁ ଆଗାମୀ ୫ ଦିନ ପର୍ଯ୍ୟନ୍ତ ତମାମ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହିତ ଅନେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଂଜାମ, ମୟୂରଭଂଜ ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଓଡିଶାର ବାକି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।