ପ୍ରବଳ ବର୍ଷା ନେଇ ଚାରିଟି ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର,୧୯/୮: ଲଘୁଚାପର ପ୍ରଭାବରେ ରାଜ୍ୟର ଚାରିଟି ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିଲାଗି ସ୍ବତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ସହ ଆବଶ୍ୟକୀୟ ପଦକ୍ଷେପ ନେବାକୁ କୁହାଯାଇଛି। ଏଣେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ଲାଗି ବାରଣ କରାଯାଇଛି। ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରେ ଆଗାମୀ ୨୧ ତାରିଖ ଯାଏ ପାଣିପାଗ କିପରି ରହିବ।

୪ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଯଥା କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୨ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଯଥା କେନ୍ଦ୍ରପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଏବଂ ଯାଜପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଯଥା ଝାରସୁଗୁଡା, ବରଗଡ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।