୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର,୮/୯: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ହେବା ପରେ ଲଘୁଚାପ କ୍ଷେତ୍ର ରୂପ ନେବାର ସମ୍ଭାବନା ରହିଛି। ଆଜିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ଦୁଇ ଦିନ ଧରି ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଥିଲାଗି ଆଜି ରାଜ୍ୟର ୮ ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପୂର୍ବ ଆକଳନ ଅନୁଯାୟୀ ବୁଧବାର ଦିନ ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏ ବ୍ୟାପିଛି। ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିସ୍ତୃତ ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୯ ତାରିଖ ସକାଳ ସୁଦ୍ଧା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାବ୍ୟବତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ସେପ୍ଟେମ୍ବର ୯ରୁ ୧୨ ତାରିଖ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ପୁରୀ, ଖୋର୍ଧା, ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ।