ଆସନ୍ତା ୧୮ରୁ ୨୦ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର,୧୭/୯: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହି ଘୂର୍ଣ୍ଣିବଳୟ ୨୦ ତାରିଖ ବେଳକୁ ଲଘୁଚାପ ରୂପ ନେଇପାରେ ବୋଲି ଆକଳନ କରାଯାଉଛି । ଏହାର ପ୍ରଭାବରେ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

୧୮ ତାରିଖ ଦିନ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷିବ । ୧୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୨୦ ତାରିଖରୁ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଓ ସୋନପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏଥିସହ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ନୟା‌ଗଡ଼, ଢେଙ୍କାନାଳ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବଲାଙ୍ଗୀର, ବରଗଡ଼, ରାୟଗଡ଼ା ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।