ଭୁବନେଶ୍ୱର,୧୯/୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଅଧିକ ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଓଡିଶା-ଉପକୂଳ ଆଡକୁ ମୁହାଁଇବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେବାର ଅଛି । ଆସନ୍ତା ୧୯ ଏବଂ ୨୦ ତାରଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନାରେ କୁହାଯାଇଛି।
ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଏବଂ କୋରାପୁଟ ପ୍ରଭୃତି ୧୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୦ଟି ଜିଲ୍ଲାକୁ ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ସେହିପରି ଗଜପତି, ମାଲକାନାଗିରି, ରାୟଗଡ଼ା, ଖୋର୍ଦ୍ଧା, କେନ୍ଦ୍ରପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର, ବେଲାଙ୍ଗୀର ଏବଂ ବରଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଟ୍ଵିନ୍ ସିଟି ଭୁବନେଶ୍ୱର ଓ କଟକରେ ମଧ୍ୟ ବଜ୍ରପାତ ସହ ହାଲୁକା ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ମେଘାଛନ୍ନ ରହିବା ସହ ଅସରାଏ ଦୁଇଅସରା ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି।