ରାଜ୍ୟରେ ପୁଣି ପ୍ରବଳ ବର୍ଷିବ, ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୧୭/୯: ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି। ଏହାସହ ଲଘୁଚାପ ସୃଷ୍ଟି ହେବା କାରଣରୁ ଓ ମୌସୁମୀ ସକ୍ରିୟ ରହିବା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଏହାରି ମଧ୍ୟରେ ବଙ୍ଗୋପସାଗର ଆଉ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିମି ଉଚ୍ଚତାରେ ରହିଛି। ଏହା ୧୮ ତାରିଖ ଆଡ଼କୁ ଉତ୍ତର ଓଡ଼ିଶା ତଥା ପଶ୍ଚିମବଙ୍ଗ ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ଏହା ପ୍ରଭାବରେ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୮ ତାରିଖ ଦିନ ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୯ ତାରିଖ ଆଡ଼କୁ ରାଜ୍ୟ‌ରେ ବର୍ଷାର ପରିମାଣ ବଢ଼ିବା ନେଇ ଆଶଙ୍କା ରହିଛି । ଉପକୂଳ ଓଡ଼ିଶା ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।